ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର , ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି : ଏମ୍ସ ଭୁବନେଶ୍ବର
ଭୁବନେଶ୍ବର: ଗୁରୁତର ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ। ତେଣୁ ତାଙ୍କରଗୁରୁତ୍ବପୂର୍ଣ୍ଣ ଚିକିତ୍ସା ଦରକାର ଅଛି। ନାବାଳିକାର ଭଲ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରର ମେଡିକାଲ ଟିମ୍ ଉଦ୍ୟମ କରୁଛନ୍ତି। ଅଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ। ଏମ୍ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି। ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଅଛନ୍ତି।
ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।