ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିସନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।